Types of Food-ଖାଦ୍ୟର ପ୍ରକାରଭେଦ :
ରାସାୟନିକ ଗଠନ, କାର୍ଯ୍ୟ ଓ ଶକ୍ତି ପ୍ରଦାନକାରୀ କ୍ଷମତା ଉପରେ ନିର୍ଭର କରି ଆମେ ଖାଉଥିବା ଖାଦ୍ୟକୁ ମୁଖ୍ୟତଃ 6 ପ୍ରକାରରେ ବିଭକ୍ତ କରାଯାଇଛି ।
1 ଶ୍ୱେତସାର (Carbohydrates) :
ଶର୍କରା (Sugars) ଏବଂ ମଣ୍ଡଦ (Starch) ଆମେ ଖାଉଥିବା ଖାଦ୍ୟର ପ୍ରଧାନ ଶ୍ୱେତସାର । ଆଳୁ, ଭାତ, ରୁଟିରେ ପ୍ରଚୁର ପରିମାଣରେ ମଣ୍ଡଦ ଥାଏ। ଚିନି, ଗୁଡ଼ ଆଦି ରେ ସୁକ୍ରେଜ (Sucrose) ଓ ଫଳରସ, ପନିପରିବାରେ ଗ୍ଲୁକୋଜ (Glucose) ଜାତୀୟ ଶ୍ୱେତସାର ଅଧୁକ ପରି ମାଣରେ ଥାଏ ।
ଶ୍ୱେତସାରରୁ ଆମେ ସହଜରେ ଶକ୍ତି ଆହରଣ କରି ଥାଉ । ଗ୍ଲୁକୋଜ (C6H12O6) ରେ ରହିଛି କାର୍ବନ, ଉଦଜାନ ଏବଂ ଅମ୍ଳଜାନ । କୋଷୀୟ ଶ୍ୱସନ (Cellular respiration) ବେଳେ ଗ୍ଲୁକୋଜର ଜାରଣ ଫଳରେ ଅଙ୍ଗାରକାମ୍ଳ ଓ ଜଳ ସୃଷ୍ଟି ହେବା ସହ ଶକ୍ତି ନିର୍ଗତ ହୋଇଥାଏ। ଏକ ଗ୍ରାମ୍ ଶ୍ୱେତସାରରୁ ପ୍ରାୟ 16 କିଲୋଜୁଲ୍ (KI) ଶକ୍ତି ନିର୍ଗତ ହୋଇଥାଏ ।
2.ପୁଷ୍ଟିସାର (Proteins) :
ମୁଖ୍ୟତଃ ମାଛ, ମାଂସ, ଅଣ୍ଡାର ଧଳା ଅଂଶ, ଛେନା ଓ କ୍ଷୀର ପରି ପ୍ରାଣିଜ ଦ୍ରବ୍ୟ ଏବଂ ଡାଲି ଜାତୀୟ ଶସ୍ୟ, ସୋୟାବିନ୍ ଆଦିରୁ ଆମେ ପୁଷ୍ଟିସାର (ପ୍ରୋଟିନ) ପାଇଥାଉ । ଶରୀରର ବୃଦ୍ଧି ଏବଂ ନୂତନ କୋଷ ଓ ତନ୍ତୁ ଗଠନ ପାଇଁ ପୁଷ୍ଟି ସାର ଖାଦ୍ୟ ଏକାନ୍ତ ଆବଶ୍ୟକ ।
ଏମିନୋ ଅମ୍ଳ (ଏମିନୋ ଏସିଡ୍, Amino acid) ର ଶୃଙ୍ଖଳ ଦ୍ବାରା ପ୍ରୋଟିନ୍ ଗଠିତ । ତେଣୁ ପରିପାକ ହେଲେ ଏହା ଏମିନୋ ଅମ୍ଳ ରେ ପରିଣତ ହୋଇ ବିଭିନ୍ନ କୋଷ ନିକଟରେ ପହଞ୍ଚିଥାଏ।
3.ସ୍ନେହସାର (Fats/Lipids) :
ମାଂସ, କ୍ଷୀର, ଛେନା, ଲହୁଣୀ, ଅଣ୍ଡାର ହଳଦିଆ ଅଂଶ ଓ ତେଲ, ଘିଅରେ ସ୍ନେହସାର (ଚର୍ବି, ଲିପିଡ) ଜାତୀୟ ଖାଦ୍ୟ ଥାଏ । କୋଷଝିଲ୍ଲି ତିଆରିରେ ଲିପିଡ଼ର ପ୍ରମୁଖ ଭୂମିକା ରହିଛି । ଶରୀରରେ ସ୍ନେହସାର ଚର୍ବି ଭାବରେ ସଂଚିତ ହୋଇ ରହେ ।
ଆବଶ୍ୟକ ସ୍ଥଳେ କୋଷୀୟ ଶ୍ଵାସନ ଦ୍ବାରା ଏହାର ଜାରଣ ହୁଏ ଓ ଏହା ଶରୀରକୁ ଶକ୍ତି ଯୋଗାଇଥାଏ । ଚର୍ମତଳେ ଚର୍ବିର ଏକ ଆସ୍ତରଣ ରହିଥାଏ । ତାପ ଅପରିବାହୀ ହୋଇଥିବାରୁ ଚର୍ବି ଶରୀରକୁ ଉଷୁମ ରଖିବାରେ ସାହାଯ୍ୟ କରିଥାଏ।
4.ଧାତୁସାର (Minerals) :
ଶରୀରଗଠନ ପାଇଁ ବିଭିନ୍ନ ଧରଣର ଧାତୁସାର ଯଥା- ଲୌହ, କ୍ୟାଲସିୟମ୍, ଆୟୋଡିନ, ଫସ୍ଫରସ୍, ସୋଡିୟମ୍, ପୋଟାସିୟମ୍ ଆଦି ଆବଶ୍ୟକ । ଶରୀରରେ ଦାନ୍ତ ଓ ହାଡ଼ର ଗଠନ ପାଇଁ କ୍ୟାଲସିୟମ୍ ଓ ଲୋହିତ ରକ୍ତ କଣିକାରେ ଥିବା ହିମୋଗ୍ଲୋବିନ୍ର ଗଠନ ପାଇଁ ଲୌହ ଆବଶ୍ୟକ ହୋଇଥାଏ । ଏହାଛଡ଼ା ଶରୀରର ଆୟନ ସନ୍ତୁଳନ (Ionic balance) ରକ୍ଷା କରିବାରେ ଧାତୁସାରର ପ୍ରମୁଖ ଭୂମିକା ରହିଛି ।
5.ଭିଟାମିନ୍ (Vitamins) :
କୋଷରେ ବିଭିନ୍ନ ପ୍ରକାର ରାସାୟନିକ ପ୍ରକ୍ରିୟା ଏନଜାଇମ୍ ସାହାଯ୍ୟରେ ହୋଇଥାଏ । ଭିଟାମିନର ଉପସ୍ଥିତିରେ ସେ ସମସ୍ତ ପ୍ରକ୍ରିୟା ସୁଚାରୁରୂପେ ସମ୍ପନ୍ନ ହୋଇଥାଏ । ଭିଟାମିନ୍ ଅଭାବରୁ ଶରୀରରେ ବିଭିନ୍ନ ପ୍ରକାରର ରୋଗ ହୋଇଥାଏ । ଜଳରେ ଦ୍ରବଣୀୟ ଭିଟାମିନ୍ ଶାଗ, ପନିପରିବା ଓ ଫଳ ଆଦିରୁ ମିଳିଥାଏ। ଚର୍ବି ବା ତେଲରେ ଦ୍ରବଣୀୟ ଭିଟାମିନ୍ ପାଣିଜ ଚର୍ବି ବା ଉଭିଦଜାତ ତେଲରୁ ମଳିଥାଏ ।
6.ଜଳ (Water) :
କୋଷରେ ଥିବା କୋଷରସ ବା କୋଷଜୀବକ (Cytoplasm) ର ପ୍ରାୟ 70-90 ଭାଗ ଜଳ । କୋଷର ସ୍ଥିତି ଓ ଏଥିରେ ହେଉଥିବା ବିଭିନ୍ନ ପ୍ରକ୍ରିୟା ପାଇଁ ଜଳ ଅତ୍ୟନ୍ତ ଆବଶ୍ୟକ । ଝାଳ, ପରିସ୍ରା ଓ ନିଃଶ୍ବାସରେ ଶରୀରରୁ ଜଳ କ୍ଷୟ ହୋଇଥାଏ, ତାହାର ଭରଣା ପାଇଁ ପ୍ରତିଦିନ ପ୍ରାୟ 3-4 ଲିଟର ପାଣି ପିଇବା ଉଚିତ । ଶରୀରରେ ଜଳୀୟ ଅଂଶ କମିଗଲେ ଶରୀର ଅବଶ ହୋଇଯାଏ ଓ ବିଭିନ୍ନ ଅସୁସ୍ଥତା ପ୍ରକାଶ ପାଏ ।